ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ଡିଗ୍ରୀ ପାର କଲା ଦିନର ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତାତି ସହ ଅସ୍ତବ୍ୟସ୍ତ କରିବ ଅସହ୍ୟ ଗୁଳୁଗୁଳି । ଦୀର୍ଘମିଆଦି ଆକଳନରେ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ବିଶେଷ କରି ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୩୫.୨ ଡିଗ୍ରୀ ଏବଂ ବଲାଙ୍ଗୀରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଝରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୋଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ । ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ।