ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ବୁଧବାର ଏନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ । ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ। ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ । ଏହି ଦୁଇଟି ଯୋଜନା ଯଥା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ । ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।
ଏହାଦ୍ୱାରା ରାଜ୍ୟର ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବ । ଏଥିରେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ ।