ଆଜି ଦୋଳ କାଲି ହୋଲି

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ରାତି ପାହିଲେ ରଙ୍ଗର ପର୍ବ ହୋଲି l ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇବା ସହ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ହୋଲି ଖେଳିବେ। ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ସେହିପରି ଆଜି ଦୋଳପୂର୍ଣିମାରେ ଦୋଳବେଦୀରେ ଝୁଲିବେ ଦୋଳଗୋବିନ୍ଦ। ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି ଦୋଳବେଦୀରେ ବିରାଜମାନ ହେବେ। ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।

ସେହିପରି ଭାଇଚାରାର ପର୍ବ ହେଉଛି ହୋଲି ପର୍ବ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲେ ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ । ହିନ୍ଦୁ ପରମ୍ପରା ଅନୁଯାୟୀ ଦୋଳ ପୂର୍ଣ୍ଣିମା ଅବସରରେ ଦୋଳଗୋବିନ୍ଦ ଅବିର ଖେଳିଛନ୍ତି। ରାଗ, ରୁଷା ଭୁଲି ସଭିଏଁ ଏକାଠି ହୋଇ ଏହି ପର୍ବକୁ ପାଳନ କରନ୍ତି। ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ଏବଂ ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ ।

LEAVE A REPLY

Please enter your comment!
Please enter your name here