କେନ୍ଦୁଝର ଜିଲ୍ଲାକୁ ଭେଟି ଦେଲେ ୧,୧୫୫ କୋଟିର ପ୍ରକଳ୍ପ : ମୁଖ୍ୟମନ୍ତ୍ରୀ 

0

କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଜନ୍ମମାଟିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । ଲୋକଙ୍କ ସୁବିଧା ପାଇଁ କେନ୍ଦୁଝର ଜିଲ୍ଲାକୁ ଗୋଟିଏ ଦିନରେ ୧ ହଜାର ୧୫୫ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ରାସ୍ତାଘାଟଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ଜୀବିକା ସୃଷ୍ଟି ଆଦି ଅନେକ ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି । ଏହି ସବୁ ପ୍ରକଳ୍ପଗୁଡ଼ିକ କେନ୍ଦୁଝର ଜିଲ୍ଲାର ଗାଁ ଗାଁରେ ବିକାଶର ଧାରାକୁ ଆଗେଇ ନେବ । କେନ୍ଦୁଝର ଜିଲ୍ଲା ରାଜ୍ୟର ଏକ ଶ୍ରେଷ୍ଠ ଜିଲ୍ଲା ଭାବରେ ରାଜ୍ୟର ବିକାଶକୁ ନେତୃତ୍ୱ ଦେବ ।

ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । କେନ୍ଦୁଝର ଜିଲ୍ଲାକୁ ୧୧୫୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଭେଟି ଦେଇଛନ୍ତି ମୁ୍‌ଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରାୟ ୪୫୦ କୋଟି ଟଙ୍କାରେ ୨୧୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସେହିପରି ୮୭ କୋଟି ଟଙ୍କାର ୧୦୪ ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏହାସହ ୬୨୦ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ଘୋଷାଣା କରିଛିନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

କେନ୍ଦୁଝର ଜିଲ୍ଲାରେ ସ୍ବାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି । ଜିଲ୍ଲାରେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ମିଳିବ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମଖ୍ୟମନ୍ତ୍ରୀ । ସେହିପରି ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଥିବା କେନ୍ଦୁଝର ଭଳି ଜିଲ୍ଲାରେ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କ ଜୀବନ ବଞ୍ଚାଇବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାକୁ ସବୁ ଖଣିଜ ଜିଲ୍ଲାଗୁଡ଼ିକର ମେଡିକାଲ କଲେଜ୍‌ରେ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା ରହିବ । ଆଗାମୀ ଦିନରେ ୫ ହଜାର ଡାକ୍ତର ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଖୁବଶୀଘ୍ର ଆଉ ୪ଟି ନୂଆ ମେଡିକାଲ କଲେଜ ସ୍ଥାପନ କରାଯିବ । ସେଗୁଡିକ ହେଲା ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଓ ନବରଙ୍ଗପୁର l

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଟାଉନରେ ନବ ନିର୍ମିତ ଥାନାଗୃହ ଏବଂ ରିଜର୍ଭ ପୋଲିସ ଅଫିସ ଉଦ୍‍ଘାଟନ କରିଛନ୍ତି । ସମୁଦାୟ ୩ କୋଟି ୩୪ ଲକ୍ଷ ୧୪ ହଜାର ଟଙ୍କା ବ୍ୟୟରେ ନିର୍ମିତ ଏହି ଥାନା ଓ ୨ କୋଟି ୭୬ ଲକ୍ଷ ୬୮ ହଜାର ଟଙ୍କା ବ୍ୟୟରେ ନିର୍ମିତ ରିଜର୍ଭ ପୋଲିସ ଅଫିସର ଅଧିକାରୀ ଓ କର୍ମଚାରୀମାନେ ସାଧାରଣ ଜନତାଙ୍କୁ ଉତ୍ସର୍ଗୀକୃତ ସେବା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ନବନିର୍ମିତ ଥାନାରେ ଭିନ୍ନକ୍ଷମଙ୍କ ପାଇଁ ରାମ୍ପ୍ ବ୍ୟବସ୍ଥା, ବିଲ୍ଡିଂ ଏବଂ ବାରାକ୍, ସମ୍ମିଳନୀ କୋଠରୀ, ସନ୍ଦିଗ୍ଧ ଓ ସାକ୍ଷୀ ପରୀକ୍ଷା କୋଠରୀ, ୱେୟାରଲେସ୍ ଏବଂ ଯୋଗାଯୋଗ କୋଠରୀ, ଆଧୁନିକ ମାଲଖାନା,ଅଭ୍ୟର୍ଥନା କେନ୍ଦ୍ର (Reception Centre) ଏବଂ ମହିଳା ଓ ଶିଶୁ ସହାୟତା ଡେସ୍କ (Help desk) ପ୍ରସ୍ତୁତ କରାଯାଇଛି ।

ଏହାବ୍ୟତୀତ ଶିଶୁସଦନ, ଯାନବାହନ ପାର୍କିଂ ବ୍ୟବସ୍ଥା, ତଥ୍ୟ ସଂରକ୍ଷଣ ସହିତ ୨୪ ଘଣ୍ଟିଆ ସିସିଟିଭି କ୍ୟାମେରା ବ୍ୟବସ୍ଥା, ଅଗ୍ନି ନିର୍ବାପକ ଯନ୍ତ୍ର ଏବଂ ଅଗ୍ନି ସତର୍କ ସୂଚନା ଘଣ୍ଟି ବ୍ୟବସ୍ଥା ଭଳି ଅତ୍ୟାଧୁନିକ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ଅବସରରେ ପୋଲିସ କର୍ମଚାରୀଙ୍କ ପାଇଁ ୧୭ଟି SUV ଗାଡ଼ି ଏବଂ ୮୦ଟି ମୋଟର ସାଇକେଲକୁ ସବୁଜ ପତାକା ଦେଖାଇ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here