ସମ୍ବଲପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ରାଜଧାନୀ ବାହାରେ ସମ୍ବଲପୁରରେ ହୋଇଛି ତାହା ପୁଣି ୧୦ ମ ପାଳିରେ । ସୋମବାର ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ, ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ, ସମସ୍ୟା ଶୁଣିଥିଲେ। ଏଥିରେ ଅନ୍ଲାଇନ୍ରେ ୧ ହଜାର ଓ ଅଫ୍ଲାଇନରେ ପ୍ରାୟ ୧୩୬୮ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି। ଦୁରାରୋଗ୍ୟରେ ପୀଡ଼ିତ ୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ଦିଆଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ସମ୍ବଲପୁରରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଗଣତନ୍ତ୍ର ପାଇଁ ଏକ ସକାରାତ୍ମକ ବାର୍ତ୍ତା ଦେଉଛି। ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖ ଶୁଣିବା। ଅରକ୍ଷିତକୁ ଦଇବ ସାହା ଭଳି ଗରିବ, ଅସହାୟ ଲୋକଙ୍କୁ ଆମ ସରକାର ସାହା ହୋଇଛନ୍ତି। ପୂର୍ବ ସରକାର ସମୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହୁଥିଲା। ଆମେ କିନ୍ତୁ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଲୋକଙ୍କ ପାଖକୁ ଆସିଛୁ। ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ। ଏହି କ୍ଷେତ୍ରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଦ୍ୱାରା ଅଧିକାରୀମାନେ ସେମାନଙ୍କ ସ୍ତରରେ ହିଁ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ଦିଗରେ ଅଧିକ ସଚେତନ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଅଧିକାରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।
ତେବେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ. ଗଣେଶରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାୟକ, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଶିଳ୍ପମନ୍ତ୍ରୀ ସଂପଦଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।