ବିପ୍ଲବୀ ପରିକ୍ରମା ଡିଜିଟାଲ :- ଓମଫେଡ଼ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ।ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଲୋକସେବା ଭବନରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ହୋଇଛି ।ଏଥିରେ ମୁଖ୍ୟଅତିଥି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିବା ବେଳେ ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିଛନ୍ତି ।ଏହା ସହ ଓମଫେଡ ଚାଷୀମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ନେଇ ମଧ୍ୟ ଘୋଷଣା କରିଛନ୍ତି ।ଏହି ଅବସରରେ ଓମଫେଡ୍ ବାଲ୍ଟି ଦହି, ଏ-2ମିଲ୍କ, ଏ-2ଘିଅର ଶୁଭ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ,ମଇଁଷି ଉଦ୍ୟୋଗ ବିକାଶ,ମାଈ ବାଛୁରୀ ପାଳନ,ଗୋ-ମଇଁଷିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏଥିସହିତ ସେ ୨୦୨୪-୨୫ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ଓ ରାଜ୍ୟର ୭୭ଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣୀ କଲ୍ୟାଣସଂଗଠନମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ,”ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଏବଂ ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ । ଏହା କେବଳ ଏକ ଆୟର ଉତ୍ସ ନୁହେଁ,ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଆମ ରାଜ୍ୟରେ ୨୦୨୩-୨୪ ବର୍ଷରେ ୨୬.୪ ଲକ୍ଷ ମେଟ୍ରିକ ଟନ୍ ଦୁଗ୍ଧ ଉତ୍ପାଦିତ ହୋଇଥିବା ବେଳେ ଏହାକୁ ଆଗାମୀ ୫ ବର୍ଷରେ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ । ସେଥିପାଇଁ ଆମର ଏହି ଲୋକଙ୍କ ସରକାର ରାଜ୍ୟରେ ଗୋପାଳନର ବିକାଶ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ କରିଛନ୍ତି,‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’।”ସେ ଆହୁରି ମଧ୍ୟ କହିଛନ୍ତି,”‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି ।
ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ଅନୁଦାନ ରାଶି ପାଇ ଉପକୃତ ହୋଇସାରିଲେଣି । ଏହି କାମଧେନୁ ଯୋଜନା ଅଧିନରେ ଅନେକ ଯୋଜନା ଆଜି ଆମର ରାଜ୍ୟ ଚାଷୀଙ୍କୁ ସମୃଦ୍ଧ କରୁଛି । ପ୍ରାଣୀ କଲ୍ୟାଣ ପ୍ରତି ଆମ ସରକାର ସର୍ବଦା ସମ୍ବେଦନଶୀଳ।ସହାନୁଭୂତି,ସମ୍ବେଦନଶୀଳତା ଓ ପର୍ଯ୍ୟାବରଣ ସୁରକ୍ଷା ପ୍ରତି ଥିବା ଉତ୍ତରଦାୟିତ୍ବକୁ ଭଲଭାବରେ ବୁଝି ନୂତନ ଗୋଶାଳା ପ୍ରତିଷ୍ଠା ଓ ପଞ୍ଜୀକୃତ ଗୋଶାଳାକୁ ସହାୟତା ଲକ୍ଷ୍ୟରେ ଆମ ସରକାର ୧୮୬ କୋଟି ଟଙ୍କା ବ୍ଯୟ-ଅଟକଳରେ ‘ମୁଖ୍ୟମନ୍ତ୍ରୀ ପ୍ରାଣିକଲ୍ୟାଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ବୁଲା ଓ ଅସହାୟ ଗୋରୁଗାଈଙ୍କ ଖାଦ୍ୟ, ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ପଞ୍ଜୀକୃତ ଗୋଶାଳାଗୁଡିକୁ ଗୋରୁ ପିଛା ଦୁଇଟି କିସ୍ତିରେ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି । ପ୍ରଥମ ପର୍ଯ୍ୟାୟରେ ଗତ ନଭେମ୍ବର ମାସରେ ୬୮ ଟି ଗୋଶାଳାକୁ ୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୭୭ ଟି ଗୋଶାଳାକୁ ୧୦.୫ କୋଟି ଟଙ୍କାର ଅନୁଦାନ ଆଜି ଦିଆଯାଇଛି । ଏହି ଅର୍ଥ ରାଜ୍ୟର ପ୍ରାୟ ୨୨ ହଜାର ନିରାଶ୍ରୟ ଗୋରୁଗାଈଙ୍କ ରକ୍ଷଣାବେକ୍ଷଣରେ ଖର୍ଚ୍ଚ ହେବ ।”