ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ । ରାଜ୍ୟ ଭାଜପାର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ଶୋଭାଯାତ୍ରାରେ ବରିଷ୍ଠ ନେତାଙ୍କ ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ ସାମିଲ ହୋଇଥିଲେ । ଗତକାଲି ସଂଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପଂହଚିଥିଲେ । ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା । ପରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ତାଙ୍କ ଭୁବନେଶ୍ବରସ୍ଥିତ ବାସଭବନରେ ରଖାଯାଇଥିଲା ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଛନ୍ତି । ଆଜି ସକାଳେ ତାଙ୍କ ପାର୍ଥିବ ଶରୀରକୁ ପୁରୀ ଅଣାଯାଇଥିଲା । ପୁରୀ ସ୍ବର୍ଗଦ୍ବାରରେ ଶେଷ ହୋଇଛି ଶେଷକୃତ୍ୟ,ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ।
ତେବେ ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା ।ତାଙ୍କ ପରଲୋକ ରାଜ୍ୟ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଜଣେ ନିର୍ଭୀକ, ସ୍ପଷ୍ଟବାଦୀ ଜନନେତା ଭାବେ ଦିବଙ୍ଗତ ଦେବେନ୍ଦ୍ର ପ୍ରଧାନ ଚିରକାଳ ପାଇଁ ମନେ ରହିବେ ।