ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଆଗାମୀ ୬ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ । ବର୍ଷା ସାଙ୍ଗକୁ ଝଟକା ପବନ, ବିଜୁଳି ଓ ଘଡଘଡି ହେବା ନେଇ ପୂର୍ବାନୁମାନ କରାଯାଇଛି । ୨୫ ତାରିଖ ବେଳକୁ ବର୍ଷା ବଢ଼ିବ, ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୫ ଓ ୨୬ ତାରିଖ ଦୁଇଦିନ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ୨ ଦିନ ଓଡ଼ିଶା ଉପକୂଳ ଅଞ୍ଚଳରେ ଘଣ୍ଟା ପ୍ରତି ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ହେବାର ସମ୍ଭାବନା ଅଧିକ ରହିଛି । ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ସେହିପରି ରଥଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି ବହିବାର ସମ୍ଭାବନା ରହିଛି । ଯାହାକୁ ନେଇ ଗଜପତି,ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା. କୋରାପୁଟ, ନବରଙ୍ଗପୁର, ପୁରୀ, ଜଗତସିଂହପୁର, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ନୟାଗଡ଼, ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି ଘଡ଼ଘଡି ସହ ପବନ ପାଇଁ ବାଲେଶ୍ବର, ଭଜ୍ରକ, ଯାଜପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନକୁ ନେଇ ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ଘଡ଼ଘଡ଼ି ସହିତ ବିଜୁଳି ମଧ୍ୟ ହୋଇପାରେ । ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ । ୨୬ ତାରିଖ ବେଳକୁ ବର୍ଷା ଆହୁରି ବଢ଼ିବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଡ଼ଘଡ଼ି ସହିତ ବିଜୁଳି ହୋଇପାରେ । ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ । ୨୭ ତାରିଖ ରଥଯାତ୍ରାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୮ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।