ବିପ୍ଲବୀ ପରିକ୍ରମା ଡିଜିଟାଲ :- ବୁଧବାର ଠାରୁ ଓଡ଼ିଶାରେ ବର୍ଷା ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ବହିବାକୁ ନେଇ ଆଗାମୀ ୨ ଦିନ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଭିତରେ ରଖାଯାଇଛି । ସେହିପରି ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ରହିବ । ଏକ ଟ୍ରପ ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ପ୍ରବଳ ବର୍ଷା ଜାରି ରହିବ । ୨୫ ଓ ୨୬ତାରିଖ ସମୁଦ୍ର ଅଶାନ୍ତ ରହିବ । ଏହି ୨ ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ଯରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଦ୍ରପାତ ସହ ପ୍ରବଳ ବର୍ଷା ଓ ଝଟକାପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ଝଟକାପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।