ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ବଢାଇଲେ ରାଜ୍ୟ ସରକାର । ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏହା ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ ।

ଏହାଦ୍ବାରା ରାଜ୍ୟରେ ୧,୨୬,୦୧୦ ମିଶନ ଶକ୍ତି କର୍ମକର୍ତ୍ତା ଉପକୃତ ହେବେ ।ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଓ ସମ୍ପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୪୦୦୦ ଟଙ୍କା ପାଉଥିବାବେଳେ ଏବେ ୪,୫୦୦ ଟଙ୍କା ପାଇବେ ।

ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨୦୦୦ ଟଙ୍କା ପାଉଥିବାବେଳେ ଏବେ ୨୫୦୦ ଟଙ୍କା ପାଇବେ ।ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨୦୦୦ ଟଙ୍କା ପାଉଥିଲେ । ଏବେ ସେମାନେ ୨୫୦୦ ଟଙ୍କା ପାଇବେ । ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ ।

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ କରିବେ । ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସମ୍ପାଦକ ଥିବାବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ ରହିଛି । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହିପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here