ବିପ୍ଲବୀ ପରିକ୍ରମା ବ୍ୟୁରୋ :- ମୋହନଙ୍କ ମୁଣ୍ଡରେ ସିଏମ୍ ମୁକୁଟ। କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ନରେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ବର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।
ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଛି । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିବେ। ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗି ରହିବ।