ବିପ୍ଲବୀ ପରିକ୍ରମା ଡିଜିଟାଲ :- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ଏକ ନୂଆ ତଥ୍ୟ ସାମ୍ନାକୁ ଆଣିଛନ୍ତି l ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’।ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର ୭୯୪ଟି ସ୍କୁଲ ନିର୍ମାଣ ହେବ । ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ ।
ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ । ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରିପାରିବେ । ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ ।ଏହି ଯୋଜନାରେ ନୂଆ କ୍ଲାସ ରୁମ୍ ସହ ଅନ୍ୟ ଅତ୍ୟାଧୁନିକ ସୁବିଧା ପ୍ରତି ଦୃଷ୍ଟି ଦିଆଯିବ । ବୈଠକରେ ଐତିହ୍ୟ ବିଦ୍ୟାଳୟ ଗୁଡିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ଏହି ଯୋଜନାରେ ରାଜ୍ୟର ୧୦୦ ବର୍ଷରୁ ଉର୍ଦ୍ଧ୍ୱ ପୁରାତନ ବିଦ୍ୟାଳୟ କିମ୍ବା ସ୍ୱାଧୀନତା ପୂର୍ବ ସମୟର ପୁରାତନ ବିଦ୍ୟାଳୟ ଗୁଡିକର ବିକାଶ କରାଯାଇ ଏହାର ଐତିହ୍ୟ ଓ ଐତିହାସିକ ଗୌରବର ପୁନଃପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯିବ ।